ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ନିର୍ବାଚନ ସଂକ୍ରାନ୍ତୀୟ ବୈଠକ...

Oct 9, 2025 - 20:02
 8
ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ତରଫରୁ ନିର୍ବାଚନ ସଂକ୍ରାନ୍ତୀୟ ବୈଠକ...

ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । 

ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଆର୍‌. ଏସ୍‌. ଗୋପାଳନ ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ଚଳିତ ଉପନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି । 

ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ କରିବା ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ । 

ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୨୦୦ ମଧ୍ୟରେ ସୀମିତ କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି । 

ଚଳିତ ଉପନିର୍ବାଚନରେ ୧,୨୪,୧୦୮ ଜଣ ପୁରୁଷ ଭୋଟର ରହିଥିବାବେଳେ ୧,୨୯,୪୯୫ ଜଣ ମହିଳା, ୨୧ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କ ସହ ମୋଟ ୨,୫୩,୬୨୪ ଜଣ ଭୋଟର ଚୂଡ଼ାନ୍ତ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି 

ଚୂଡ଼ାନ୍ତ ଭୋଟର ତାଲିକାରେ ୯,୪୨୯ ଜଣ ଯୁବ ଭୋଟର ରହିଥିବାବେଳେ ୩୯୮୮ ଜଣ ଦିବ୍ୟାଙ୍ଗ ଭୋଟର ଏବଂ ୧୭୮୬ ଜଣ ବରିଷ୍ଠ ନାଗରିକ (୮୫ ବର୍ଷରୁ ଊଦ୍ଧ୍ୱର୍) ରହିଛନ୍ତି ।

ଚଳିତ ଉପନିର୍ବାଚନ ପାଇଁ ୫୬ଟି ନୂତନ ବୁଥ୍‌ ପ୍ରତିଷ୍ଠା ହୋଇଛି । ଉପନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ବୈଦୁ୍ୟତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମ ଏବଂ ୱବ୍‌ମିଡ଼ିଆ ସମେତ ସିନେମାହଲ୍‌, ରେଡ଼ିଓ, ପୋଷ୍ଟର ଓ ହୋଡ଼ିଂ ଆଦି ଜରିଆରେ ବିଜ୍ଞାପନ ଜାରି ପୂର୍ବରୁ ଆୟୋଗଙ୍କ ଅନୁମତି ଜରୁରୀ । 

ଏଥି ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଅପରାଧିକ ସମ୍ପୃକ୍ତି ନେଇ ଘୋଷଣାନାମା ମୁଦ୍ରିତ ଗଣମାଧ୍ୟମରେ ପ୍ରକାଶ କରିବା ସହ ଆୟୋଗଙ୍କୁ ଏ ବାବଦରେ ଅବଗତ କରାଇବା ବାଧ୍ୟତାମୂଳକ କରାଯାଇଛି । 

ଦଳ ଓ ପ୍ରାର୍ଥୀଙ୍କ ଖର୍ଚ୍ଚର ବିବରଣୀ, ତାରକା ପ୍ରଚାରକଙ୍କ ତାଲିକା ଏବଂ ଆଦର୍ଶ ଆଚରଣ ବିଧିର ସଠିକ୍‌ ଅନୁପାଳନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । 

ଏହି ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସମେତ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଅତିରିକ୍ତ ଶାସନ ସଚିବ ଶ୍ରୀ ପ୍ରମୋଦ କୁମାର ସାହୁ ଓ ଶ୍ରୀ ରାମଚନ୍ଦ୍ର କିସ୍କୁ, ଯୁଗ୍ମ ଶାସନ ସଚିବ ଶ୍ରୀ ଗୋପୀନାଥ କୁଅଁର, ଉପମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀ ପ୍ରସାଦ ସାହୁ ଓ ଅନାମିକା ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।